Latest Odisha News

BREAKING NEWS

ଲଘୁଚାପ ଯୋଗୁ ବର୍ଷିବ ଜୋର୍, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର : ଲଘୁଚାପ ଯୋଗୁ ବର୍ଷିବ ଜୋର୍, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଏବେ ତାମିଲନାଡୁରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇଗଲାଣି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ମୁତାବକ ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦେଖାଗଲାଣି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି ।

SRCଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲଗାଣ ବର୍ଷା ସମ୍ପର୍କରେ ଲୋକମାନଙ୍କୁ ସତର୍କ କରିବା ସହ ସ୍ଥିତି ଉପରେ ନଜର ରଖି ଆବଶ୍ୟକ ସ୍ଥଳେ ପଦକ୍ଷେପ ନେବାକୁ SRCଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ ଓ କେନ୍ଦ୍ରପଡା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି ।

ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ବି ସତର୍କ କରାଯାଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.