Latest Odisha News

ଆଜିଠୁ ବଢିବ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରବିବାର ତଥା ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ମୟୁରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି।

ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ଭିତରେ ଏହା ଲଘୁଚାପ ରୂପ ନେବ। ରବିବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ।

ସୋମବାର ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି। ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ଦୁଇ ଦିନ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଏସଆରସି ସେହି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 

Comments are closed.