Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର କୃଷ୍ଣ ପକ୍ଷ ସପ୍ତମୀ ତିଥି । ଆଜିର ଏହି ତିଥି ଅନୁସାରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଅର୍ଥାତ୍ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଅନ୍ୟତମ । ଏହା ଏକ ଗୁପ୍ତ ନୀତି ହେଇଥିବାରୁ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ ।

ଦଇତାପତି ସେବାୟତମାନେ ପ୍ରଥମେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦେଇଥାନ୍ତି । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି । ସେହିପରି ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି । ପରମ୍ପରା ଅନୁସାରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରିଦିଆଯାଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ବଡ ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀ ଜଗନ୍ନାଥଙ୍କ ଶ୍ରୀଅଙ୍ଗରେ ଖସାପଡା ଲାଗି କରିବେମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି ।

ବର୍ଷକୁ ଦୁଇ ରୁ ତିନି ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ । ଗୁଣ୍ଡିଚା ଯାତ୍ରା ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ଖସାପଡା ନୀତି ଅନୁଷ୍ଠିତ ହୋଇଥାଏ । ସେହିପରି ଦିଅଁମାନେ ଦୋଳ ପୂର୍ଣ୍ଣିମାରେ ହୋଲି ଖେଳିବା ଯୋଗୁଁ ତାଙ୍କ ଶ୍ରୀଅଙ୍ଗର କେତେକ ଅଂଶ କ୍ଷତବିକ୍ଷତ ହୋଇଯାଇଥାଏ । ତେଣୁ ଏଥିପାଇଁ ମଧ୍ୟ ଖସାପଡା ନୀତି ହୋଲି ପରେ ଅନୁଷ୍ଠିତ ହୋଇଥାଏ ।

ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ ଓ ବେଶ କରାଯିବ । ପରେ ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ ସିଂହାର ବେଶ, ବଡ ସିଂହାର ଭୋଗ, ରାତ୍ର ପହୁଡ ହେବ ।

Leave A Reply

Your email address will not be published.