Latest Odisha News

ହାତୀ ବେଶରେ ଶ୍ରୀଜଗନ୍ନାଥ; ଜାଣନ୍ତୁ, କାହିଁକି ଏହି ବେଶରେ ଦର୍ଶନ ଦିଅନ୍ତି ମହାପ୍ରଭୁ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ)

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଶ୍ରୀକ୍ଷେତ୍ରରେ ଏହି ଅବସରରେ ପାଳିତ ହେଉଛି ଚତୁର୍ଦ୍ଧା ମୂରତୀଙ୍କ ସ୍ନାନଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ଶ୍ରୀବଳଭଦ୍ର, ମାଆ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନ ଆଜି ପରି ପବିତ୍ର ଦିବସରେ ଶ୍ରୀମନ୍ଦିର ପରସରରେ ଥିବା ସ୍ନାନମଣ୍ଡପରେ ସ୍ନାନ କରିଥାଆନ୍ତି । ଏହାର ଉପରାନ୍ତରେ ଶ୍ରୀଜୀଉମାନେ ଗଜାନନ ବେଶ ଧାରଣ କରିଥାଆନ୍ତି । ତେବେ ଏହି ହାତୀ ବା ଗଜାନନ ବେଶ କାହିଁକି ଠାକୁରମାନେ ଧାରଣ କରିଥାଆନ୍ତି ତାହା ପଛରେ ରହିଛି ଏକ ସୁନ୍ଦର କଥାବସ୍ତୁ ।

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜୈନିକ ବିଶିଷ୍ଟ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ ।

ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ଵର ଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି ।

ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍‌କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ ।

ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ ।

ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ଵରୂପ ଏହି ବେଶ ହୋଇ ଆସୁଛି ।

(ଲେଖକ ଜଣେ ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ ସ୍ତମ୍ଭକାର)

ବିଶେଷ ଦ୍ରଷ୍ଟବ୍ୟ: ଏହି ସ୍ତମ୍ଭରେ ପ୍ରକାଶିତ ହୋଇଥିବା ବିଚାର ବା ମତ ସମ୍ପୂର୍ଣ୍ଣ ଭାବେ ଲେଖକଙ୍କର ନିଜସ୍ୱ ଅଟେ । ଏହି ସ୍ତମ୍ଭରେ ପ୍ରକାଶିତ କୌଣସି ଅଂଶ ଲାଗି Odishasambad.in ର ସମ୍ପାଦନା ମଣ୍ଡଳୀ ଦାୟୀ ନୁହଁନ୍ତି ।

Leave A Reply

Your email address will not be published.