ହିନ୍ଦୁ ଧର୍ମର ଜ୍ଞାନର ଦେବୀ ମାଆ ସରସ୍ବତୀ; କିପରି ପାଇଥିଲେ ଜନ୍ମ ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ।  ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି।

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା – ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ଗତି, ପ୍ରବାହ) ଓ ବତୀ (ଅଛି, ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ଗତିଶୀଳା ଯାହା ପ୍ରଗତିର ସୂଚକ । ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର ।

କିଭଳି ହୋଇଥିଲା ମାଙ୍କ ଜନ୍ମ..

ପୁରାଣକାରମାନେ ସରସ୍ୱତୀଙ୍କୁ କନ୍ୟା ଏବଂ ବ୍ରହ୍ମାଙ୍କୁ ପିତା ରୂପେ ପରିକଳ୍ପନା କରିଛନ୍ତି । ବ୍ରହ୍ମାଣ୍ଡ ପୁରାଣମତେ, ସୃଷ୍ଟିର ଆରମ୍ଭ କାଳରେ ବ୍ରହ୍ମା ଯେତେବେଳେ ଧ୍ୟାନସ୍ଥ ଥିଲେ, ସେତେବେଳେ ତାଙ୍କ ଭିତରେ ସତ୍ତ୍ୱ ଗୁଣର ବିକାଶ ଘଟିଲା ଏବଂ ସେଥିରୁ ଏକ କନ୍ୟା ଜାତ ହେଲା । ତାଙ୍କର ରୂପ ଥିଲା ଦୁଗ୍‌ଧ ପରି ଶ୍ୱେତବର୍ଣ୍ଣ । ସେହି ଶ୍ୱେତବର୍ଣ୍ଣା କନ୍ୟାଙ୍କୁ ଦେଖି ବ୍ରହ୍ମା ତାଙ୍କର ପରିଚୟ ପଚାରିବାରୁ କନ୍ୟା କହିଲେ, ମୁଁ ତୁମଠାରୁ ଜାତ ହେଲି । ତେଣୁ ତୁମେ ମୋର ନାମକରଣ କର ଏବଂ ମୋର ପରିଚୟ କ’ଣ ହେବ ତାହା ସ୍ଥିର କର । ତାହା ଶୁଣି ବ୍ରହ୍ମା କହିଲେ, ତୁମର ନାମ ସ୍ୱରସ୍ୱତୀ ହେଉ । ତୁମେ ପ୍ରତ୍ୟେକଙ୍କ ଜିହ୍ୱାର ଅଗ୍ରଭାଗରେ ‘ବାକ୍’ ରୂପେ ଅବସ୍ଥାନ କରିବ । ସେଥିାଇଁ ତୁମେ ‘ବାଗ୍‌ଦେବୀ’ ରୂପେ ବିଦିତା ହେବ । ବିଶେଷ କରି ବିଦ୍ୱାନମାନେ ତୁମକୁ ଆଦର ଓ ଭକ୍ତିରେ ପୂଜା କରିବେ ।

ବ୍ରହ୍ମବୈବର୍ତ୍ତ ପୁରାଣ ଅନୁଯାୟୀ ସୃଷ୍ଟି କାଳରେ ଈଶ୍ୱରଙ୍କ ଇଚ୍ଛାରୁ ଆଦ୍ୟାଶକ୍ତି ନିଜକୁ ପାଞ୍ଚ ଭାଗରେ ବିଭକ୍ତ କରି ନେଇଥିଲେ । ସେ ରାଧା, ପଦ୍ମା, ସାବିତ୍ରୀ, ଦୁର୍ଗା ଏବଂ ସରସ୍ୱତୀଙ୍କ ରୂପରେ ଭଗବାନ ଶ୍ରୀକୃଷ୍ଣଙ୍କ ବିଭିନ୍ନ ଅଙ୍ଗରୁ ସୃଷ୍ଟି ହୋଇଥିଲେ । ସେ ସମୟରେ ଶ୍ରୀକୃଷ୍ଣଙ୍କ କଣ୍ଠରୁ ଦେବୀ ସରସ୍ୱତୀ ଉତ୍ପନ୍ନ ହୋଇଥିଲେ ବୋଲି ଉଲ୍ଲେଖ ରହିଛି।