Latest Odisha News

BREAKING NEWS

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୧୫ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ଉଦ୍‍ଘାଟିତ ହୋଇଛି।

ସୂଚନା ଥାଉକି, ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି । ସେହିପରି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧କୋଟି ୧୭ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ଟଙ୍କା, କେରି ସଂଗ୍ରହ କପଡ଼ା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ୍ ଷ୍ଟାଫ୍ ଉପକୃତ ହେବେ।

ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଦେବଗଡ଼ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢ଼ି ତୋଳିବା ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି।

Comments are closed.