ପୁରୀ: ଆଜି ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସଂଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ।
ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ। ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖଶୃଙ୍ଗାର କରନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀଜଗନ୍ନାଥ ସଂସ୍କୃତି ଭାଷାରେ ‘ବନକଲାଗି’ କୁହାଯାଏ।
Comments are closed.