Latest Odisha News

BREAKING NEWS

୧୩ରେ ଲଘୁଚାପ, ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା: ଆଜି ପାଇଁ ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଟ୍ରାପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା ରହିଛି। ଫଳରେ ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି।

୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ୧୩ ତାରିଖରେ ହିଁ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି। ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

 

Comments are closed.