Latest Odisha News

BREAKING NEWS

୨୫ରେ ଲଘୁଚାପ; ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ଘୂଣ୍ଣିବଳୟ । ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୫ ତାରିଖ  ଏହି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ  ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର  ।

କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ କାଲିଠୁ ବର୍ଷାର ପ୍ରଭାବ ବଢିପାରେ । ୨୭ ତାରିଖ ଯାଏ ତିନି ଦିନ ବର୍ଷା ପରିମାଣ ଅଧିକ ରହିବ । କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆ‌ସନ୍ତା ୨୫ ତାରିଖ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ରାଜଧାନୀ ଭୁବ‌ନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ କିଛି ବର୍ଷା ସମ୍ଭାବନା ମଧ୍ୟ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ରାତି ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।

ମତ୍ସଜୀବୀମାନଙ୍କୁ ୨୫ ଜୁଲାଇରୁ ୨୭ ଜୁଲାଇ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବା ପାଇଁ କୁହାଯାଇଛି ।

Leave A Reply

Your email address will not be published.