ଭୁବନେଶ୍ୱର: ମହାଶିବରାତ୍ରି ପ୍ରଭୁ ଭୋଳନାଥଙ୍କ ଆଦ୍ୟ ପର୍ବ । ଏହି ମହା ରାତ୍ରୀକୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ ଜାଣନ୍ତୁ…
ଦେବଦେବ ମହାଦେବଙ୍କ ଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ ।
ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି ।
ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।
ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ ।
ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛାକରିଥିଲେ ।
ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା । ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ ।
ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ୱ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ ।
କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ ।
Comments are closed.