ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଅକଭାନ୍’କୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆସନ୍ତା ୧୯ ଓ ୨୦ ତାରିଖରେ ସ୍କୁଲ୍ ଓ କଲେଜ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ।ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକୁ ଆସନ୍ତା ଦୁଇ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।
ମାଲକାନଗିରି ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନକୁ ନଭେମ୍ବର ୧୯ ଏବଂ ୨୦ ତାରିଖରେ ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ପ୍ରଶାସନ ପକ୍ଷରୁ ଏହି ପୂର୍ବ ପ୍ରସ୍ତୁତି କରାଯାଇଛି। ବାତ୍ୟା ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ସେଥିପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।
ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ସନ୍ଧ୍ୟା ସୁଦ୍ଧା ଏହା ଏକ ଭୀଷଣ ବାତ୍ୟାରେ ପରିଣତ ହେବ ଏବଂ ନଭେମ୍ବର ୧୯ ସକାଳ ସୁଦ୍ଧା ଏହା ‘ଅତି ଭୀଷଣ ସାମୁଦ୍ରିକ ଝଡ଼’ର ରୂପ ନେବାର ସମ୍ଭାବନା ରହିଛି।
ବାତ୍ୟାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ନଭେମ୍ବର ୧୯ ତାରିଖରେ ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ନଭେମ୍ବର ୨୦ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ନଭେମ୍ବର ୨୧ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଛି। ନଭେମ୍ବର ୨୨ ତାରିଖରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ।
