Latest Odisha News

BREAKING NEWS

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା)

ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି ।
ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ
ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର – ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର
ମାସରେ ପୂଜା ଘରେ ଧାନ ମେଣ୍ଟା ବା “ଧାନବେଣୀ “ ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ
। ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣର ବ୍ୟବହାର ହୋଇଥାଏ । ଏହି ଓଷାରେ ଧାନମାଣ ବସାଇ ତାହାକୁ ପୂଜା କରାଯାଉଥିବାରୁ ଓଷାଟି
ମାଣବସା ନାମରେ ଜଣାଯାଏ ।

କିମ୍ବଦନ୍ତୀ: ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବର୍ଣ୍ଣନା କରାଯାଇଛି । ଏହି ପୁରାଣ ଅନୁଯାୟୀ,
ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀ ରୂପରେ ବଡ଼
ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର
ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ । ଘରଦ୍ୱାର ପରିଷ୍କାର କରି ଲିପାପୋଛା
କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ମହାଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ
ହିଁ ରହିଗଲେ । ଏହା ଦେଖି ବଳରାମ କୋପ ପ୍ରକାଶ କଲେ ।

ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ମହାଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ମାଆ ମଧ୍ୟ ଶ୍ରୀମନ୍ଦିରରୁ ବାହାରି ଗଲେ। ଯିବା ବେଳେ ପଣ କଲେ କାଳିଆ – ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ମହାଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ବିଶ୍ୱକର୍ମା ଆଉ ଏକ ପ୍ରାସାଦ ଗଢ଼ିଦେଲେ । ତାଳବେତାଳଙ୍କୁ ଡକାଇ ମାଆ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ଶ୍ରୀମନ୍ଦିରକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ । ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଭେଟିବାକୁ ଚାହିଁଲେ । ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।

ବିଧି: ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ
ଆଣିବା ଆଗରୁ ତା’ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ । ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟି ବା ମେଣ୍ଟା
ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ
ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ । ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ
ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ । ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ
ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି
ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି ।

ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହା ଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବହାର କରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ ।


ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ
ମା’ ଙ୍କର ପଦ୍ମପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦୁର ଫରୁଆ,
ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ମହାଲକ୍ଷ୍ମୀଙ୍କର
ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ।ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ, ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି
ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର
ବୋଳାଯାଏ ।

ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ୱରୂପ
ନୂଆ ଧଳାଧାନରେ ପୂର୍ଣ୍ଣକରି ତା’ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା’ଉପରେ ଧାନବେଣୀ ରଖି ନୂତନ
ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ମହାଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ ।
ବିଧି ଅନୁଯାୟୀ, ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା
ନିକଟରେ ରଖାଯାଇଥାଏ ।

ଭୋଗ: ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ,
ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ । ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ
ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ,
ନେବେଦ୍ୟ ସହ ବାଳଭୋଗରେ ଛେନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ ।
ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା,
ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ ।

ମଧ୍ୟାହ୍ନ ଭୋଗ ପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉ ଥରେ ବାଳଧୂପ ପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ । ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।

Leave A Reply

Your email address will not be published.