Latest Odisha News

BREAKING NEWS

ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଶୋକ ବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ । ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ ।

ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ସ୍ୱର୍ଗତଃ ନନ୍ଦ ସାର ଅନେକ ପାଇଁ ପ୍ରେରଣା ହୋଇ ରହିବେ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଶୋକବାର୍ତ୍ତାରେ କହିଛନ୍ତି, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶିକ୍ଷକ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଶିକ୍ଷା କ୍ଷେତ୍ରରେ ବହୁମୂଲ୍ୟ ଅବଦାନ ଏବଂ ତାଙ୍କ ଜୀବନ ବ୍ୟାପୀ ତ୍ୟାଗ ଚିର ଆଦର୍ଶ ହୋଇରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଶିକ୍ଷାଗତ ଜଗତରେ ଏକ ଯୁଗର ଅବସାନ ଘଟିଲା । ଶତାୟୁ ବର୍ଷୀୟାନ ଶିକ୍ଷକ, ଆମ ମାଟିର ଗୌରବ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ଶୋକସନ୍ତପ ପରିବାରବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.