Latest Odisha News

କଳାହାଣ୍ଡିରେ ୩ଟି ଶକ୍ତି ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍ ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ କରିଛନ୍ତି।

ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର ଲାଇନ୍ ମଧ୍ୟ ଲୋକାର୍ପିତ କରିଛନ୍ତି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ୩ଟି ଶକ୍ତି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲ୍ଲାର ଜୟପାଟଣା, କୋକସରା ଓ କଲମପୁର ଅଞ୍ଚଳର ୩୦ ହଜାର ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତ ମାନର ବିଶ୍ବସନୀୟ ଓ ନିରବଚ୍ଛିନ ବିଦ୍ୟୁତ ସେବା ମିଳିବ।

ଏହାଛଡା ପାଓ୍ବାର କଟ୍ ସମସ୍ୟା ଦୂର ହେବ ଏବଂ ଚାଷୀ, ମହିଳା ଓ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ଆଗାମୀ ଦିନରେ ଜିଲ୍ଲାର ଅନ୍ୟ ଅଞ୍ଚଳକୁ ବିଦ୍ୟୁତ ସେବାର ସଂପ୍ରସାରଣ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଏହି ୨୨୦ କେଭି ଜୟପାଟଣା ଗ୍ରୀଡ ପାଇଁ ୮୨ କୋଟି ଟଙ୍କା ବ୍ୟୟ କରାଯାଇଛି । ଏହି ଗ୍ରୀଡ ଦ୍ବାରା କଳାହାଣ୍ଡିର ଜନସାଧାରଣ ପ୍ରଥମ ଥର ପାଇଁ ଇନ୍ଦ୍ରାବତୀ ପ୍ରକଳ୍ପରୁ ସିଧାସଳଖ ବିଜୁଳି ଶକ୍ତି ପାଇପାରିବେ। ଆଗାମୀ ଦିନରେ ୪୭ କିଲୋମିଟର ଦୀର୍ଘ ଆଉ ଏକ ୧୩୨ କେଭି ଡବଲ୍ ସରକଟ୍ ଲାଇନ ଜୁନାଗଡକୁ ସଂଯୁକ୍ତ କରାଯିବ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ । ବର୍ତ୍ତମାନ ଏହା ଏକ ତ୍ବରିତ ବିକାଶଶୀଳ ଜିଲ୍ଲା ଭାବରେ ପରିଚୟ ସୃଷ୍ଟି କରିପାରିଛି । କୃଷି କ୍ଷେତ୍ରରେ ଜିଲ୍ଲାର ଦ୍ରୁତ ଉନ୍ନତି ହୋଇଛି।

ଜଳସେଚନର ସୁବିଧା ପାଇଁ ରେତ ଜଳସେଚନ ପ୍ରକଳ୍ପ ସହିତ ଆହୁରି ଅନେକ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ସରକାରୀ ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଭବାନୀପାଟଣା ସ୍ବୟଂଶାସିତ ମହାବିଦ୍ୟାଳୟକୁ କଳାହାଣ୍ଡି ବିଶ୍ବ ବିଦ୍ୟାଳୟରେ ପରିଣତ କରାଯାଇଛି।

ବିଜୁ ଏକ୍‌ସପ୍ରେସ ୱେ ପଶ୍ଚିମ ଓଡିଶାର ଅର୍ଥନୈତିକ ଜୀବନଧାରା ହେବାକୁ ଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଳାହାଣ୍ଡି ଜିଲ୍ଲାର ଅର୍ଥନୈତିକ ବିକାଶକୁ ମଧ୍ୟ ଏହା ତ୍ବରାନ୍ବିତ କରିବ ।

ବିଜୁ ଏକ୍‌ସପ୍ରେସ ୱେ ଦ୍ବାରା କଳାହାଣ୍ଡିରେ ଶିଳ୍ପ ବିକାଶ ହେବ ବୋଲି ସେ କହିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ନରଲା ବିଧାୟକ ଭୂପିନ୍ଦିର ସିଂ, ଉନ୍ନୟନ କମିଶନର, ଶକ୍ତି ସଚିବ, କଳାହାଣ୍ଡି ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଯୋଗ ଦେଇଥିଲେ।

Leave A Reply

Your email address will not be published.