Latest Odisha News

ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ତ୍ତମାନ ସମୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ଖୋଲିବାରେ ଲାଗିଛି। ଖୁବଶୀଘ୍ର ଶିକ୍ଷାନୁଷ୍ଠନ ମଧ୍ୟ ଖୋଲିବାକୁ ଯାଉଛି।

ଏଭଳି ସ୍ଥିତିରେ ଆଗାମୀ ୨ ମାସ ଯାଏଁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟୀକାକରଣ ସଂପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକ୍ ଡାଉନ ମଧ୍ୟ ପୁଣି ଲାଗୁ ହୋଇଛି। ଏଭଳି ସ୍ଥଳେ ଆମକୁ ଅଧିକ ସତର୍କତାର ସହ କୋଭିଡ ଗାଇଡଲାଇନ ପାଳନ କରିବାକୁ ପଡ଼ିବ।

“ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟ କର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଖୁବଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା” ବୋଲି ସେ ଆଶାବ୍ୟକ୍ତ କରିଛନ୍ତି।

କରୋନା ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି । ଏହି ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଟୀକା ସଂପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି।

ଆହୁରି ମଧ୍ୟ ଟୀକାକରଣ ଚଳିତ ବର୍ଷର ସବୁଠାରୁ ବଡ କାର୍ଯ୍ୟକ୍ରମ ହେବ। ତେଣୁ ଏହାକୁ ସୂଚାରୁ ରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ସେହିପରି ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି।

ସେହିପରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛି।

ଟୀକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇ ଶ୍ରୀ ମହାପାତ୍ର କହିଛନ୍ତି, କେନ୍ଦ୍ର ସରକାରଙ୍କର ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂ କମିଟି ବୈଠକ ସଂପୂର୍ଣ୍ଣ ହୋଇଛି।

ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ, ସ୍କୁଲ-କଲେଜ ଖୋଲିବା ସଂପର୍କରେ ଏସଓପି ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.