Latest Odisha News

BREAKING NEWS

ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବ୍ରହ୍ମପୁରର କେନ୍ଦ୍ର ସ୍ଥଳୀରେ ଅବସ୍ଥିତ ରାମଲିଙ୍ଗେଶ୍ବର ଜଳାଶୟ ଓ ଉଦ୍ୟାନର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଲୋକାର୍ପିତ ହୋଇଛି।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମବେତ ବ୍ରହ୍ମପୁରର ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ରାମଲିଙ୍ଗେଶ୍ବର ଜଳାଶୟର ଐତିହ୍ୟ ଉପରେ ଆଲୋକପାତ କରିଛନ୍ତି।

ଏହି ଅବସରରେ ଜଳାଶୟର ଜଳକୁ ପରିଷ୍କାର ରଖିବା ଏବଂ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁରର ଜନସାଧାରଣଙ୍କୁ ଆହ୍ବାନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗତ କିଛି ବର୍ଷ ତଳେ ଏହି ଜଳାଶୟର ଅବସ୍ଥା କଣ ଥିଲା ଏବଂ ବର୍ତ୍ତମାନ ଏହା କେଉଁଠି ପହଞ୍ଚିଛି। ଏହା ହେଉଛି ପରିବର୍ତ୍ତନ ଅଥବା Transformation। ରାମଲିଙ୍ଗେଶ୍ବର ଜଳାଶୟ ଓ ପାର୍କ ଆଜି ଗଞ୍ଜାମର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିପାରିଛି।

ଆହୁରି ମଧ୍ୟ ଗଞ୍ଜାମ ଜନତାଙ୍କ ସଂଯମତା ଓ ଆତ୍ମଶକ୍ତି ଯୋଗୁ ଆଜି ଜିଲ୍ଲାରେ ସଫଳ ଭାବରେ କୋଭିଡକୁ ନିୟନ୍ତ୍ରଣ କରାଯାଇପାରିଛି ଏବଂ ଗଞ୍ଜାମ ଆଜି ସାରା ଦେଶ ପାଇଁ ରୋଲ ମଡେଲ ହୋଇପାରିଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବରେ ଗଢିତୋଳିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମ ଜାରି ରଖିଛନ୍ତି। ଏଠାରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ସନ୍ତୋଷଜନକ ଭାବରେ ଆଗେଇ ଚାଲିଥିବା ବେଳେ ସହର ପାଇଁ ୪୨ କୋଟି ଟଙ୍କା ବ୍ୟୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଂଗ ରୋଡ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। ବ୍ରହ୍ମପୁର ତଥା ଗଞ୍ଜାମର ବିକାଶ ଉପରେ ମୁଁ ସବୁବେଳେ ତୀକ୍ଷ୍ନ ନଜର ରଖିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇ ରାମଲିଙ୍ଗେଶ୍ବର ଜଳାଶୟର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ପ୍ରଶଂସା କରିଛନ୍ତି।

ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣରେ ସକ୍ରିୟ ଭୂମିକା ଗ୍ରହଣ କରିଥିବା ଗଞ୍ଜାମର ପୂର୍ବତନ ଜିଲ୍ଲାପାଳ ପ୍ରେମଚାନ୍ଦ ଚୌଧୁରୀ ଏବଂ ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ଚକ୍ରବର୍ତ୍ତୀ ରାଠୋରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ, ଗଞ୍ଜାମ ଜିଲ୍ଲାପାଳ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ୮ ଏକର ପରିମିତ ଜମିରେ ଥିବା ଏହି ପ୍ରାଚୀନ ଜଳାଶୟ ବ୍ରହ୍ମପୁରର ଏକ ପବିତ୍ର ପୁଷ୍କରିଣୀ ଭାବରେ ପ୍ରସିଦ୍ଧ। ପରେ ଏହା ଅବ୍ୟବହୃତ ହୋଇପଡିଥିଲା ବେଳେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ୨୦୧୭ ମସିହାରେ ୧୨ କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାମ ଆରମ୍ଭ ହୋଇଥିଲା।

ଏଥିସହିତ ପୁଷ୍କରିଣୀର ମଧ୍ୟ ସ୍ଥଳରେ ଭଗବାନ ଶଙ୍କରଙ୍କର ୩୫ ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତୀ ଶୋଭା ପାଉଥିବା ବେଳେ ଚତୁର୍ପାଶ୍ବରେ ଥିବା ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରିଛି।

Leave A Reply

Your email address will not be published.