Latest Odisha News

BREAKING NEWS

୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରି।

ଏହାସହିତ ବ୍ରହ୍ମପୁର ସିଟି ହସ୍ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦଘାଟନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟ କୋଭିଡ ଯୋଦ୍ଧା ମାନଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି ଯେ ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ତା ସହିତ କେତେକ ରାଜ୍ୟରେ ଡେଲ୍‌ଟା ପ୍ଲସ୍ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି । ତେଣୁ କୌଣସି ପରିସ୍ଥିତିରେ ଆମର ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା କରାଯାଇପାରିବ ନାହିଁ।

କୋଭିଡ ନିୟମ ପାଳନ ସହିତ ଟୀକାକରଣ କ୍ଷେତ୍ରରେ ମଧ୍ୟ ଜନସାଧାରଣଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍ ଟୀକା ଦିଆଯାଇ ସାରିଲାଣି। ରାଜ୍ୟ ସରକାର ନିକଟରେ ଗରିବ ଲୋକ ଓ ଚାଷୀ ମାନଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ ଆଜି ଆଉ ୮ଟି ଜିଲ୍ଲାରେ ଏହିସବୁ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖାଗଲା। ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବାରେ ରାଜ୍ୟ ସରକାରଙ୍କ ଏହି ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ ।

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ ଆଜି ଗଞ୍ଜାମ ପାଇଁ ଏକ ସୌଭାଗ୍ୟର ଦିନ। ଗଞ୍ଜାମ ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ନବରଂଗପୁର ସାଂସଦ ରମେଶଚନ୍ଦ୍ର ମାଝୀ ଓ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ରାଜ୍ୟରେ କୋଭିଡ ଯୁଦ୍ଧରେ ଓଡିଶାର ଉତ୍ତମ ପ୍ରଦର୍ଶନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦକ୍ଷ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଏହି କାର‌୍ୟ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.