Latest Odisha News

BREAKING NEWS

ଦୀର୍ଘ ଦୁଇ ବର୍ଷ ପରେ ଭକ୍ତ ଗହଣରେ ବଡ ଦାଣ୍ଡରେ ଗଡ଼ିବ ରଥ

ପୁରୀ : ଶନିବାର ରଥଯାତ୍ରା ତୃତୀୟ ସମନ୍ବୟ ବୈଠକ ପୁରୀ ଟାଉନ୍ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଜୁଲାଇ ୧ ତାରିଖରେ ହେବାକୁ ଥିବା ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ହୋଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ରଥଯାତ୍ରା ପ୍ରସ୍ତୁତି ବୈଠକ ଭର୍ଚୁଆଲ୍ ଜରିଆରେ ଯୋଡ଼ି ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତଙ୍କ ସହଯୋଗ ଲୋଡ଼ିଛନ୍ତି ।

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ । ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି ।

କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତମାନଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ ।

ଉନ୍ନୟନ କମିଶନର ପି.କେ. ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଏହି ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।

ସେପଟେ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଆସନ୍ତା ୨୯ରେ ଦୁବାଇରେ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଶା ସରକାର ଏବଂ ଫିକି ଦ୍ବାରା ଏହି କାର୍ଯ୍ୟକ୍ରମ ଆୟୋଜନ ହେବ । ଦୁଇ ଘଣ୍ଟା ଧରି ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ରୋମରେ ଅନୁଷ୍ଠିତ ହେବାକୁଥିବା ଓ୍ବାର୍ଲଡ ଫୁଡ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ କାର୍ଯ୍ୟକ୍ରମ ରହିଛି ।

ଭାଟିକାନ୍ ସିଟିରେ ପୋପଙ୍କୁ ସାକ୍ଷାତ କରିବାର ସମ୍ଭାବନା ରହିଛି । ଓ୍ବାର୍ଲଡ ଫୁଡ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ କୃଷି, ଖାଦ୍ୟ ନିରାପତ୍ତା ଏବଂ ବିପର୍ଯ୍ୟୟ ପ୍ରଶମନର ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାର ଉଦ୍ୟମ,ସାମର୍ଥ୍ୟ ଓ ସଫଳତା ଅନ୍ୟମାନଙ୍କ ପାଇଁ କିଭଳି ଅନୁକରଣୀୟ ହୋଇପାରିଛି, ସେନେଇ ନିଜ ଅନୁଭୂତି ଓ ଉପଲବ୍ଧି କହିବେ ।

ରୋମଠାରେ ଥିବା ପ୍ରବାସୀ ଓଡ଼ିଆ ସଂଘ ସହିତ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଦୀର୍ଘ ଏକ ଦଶନ୍ଧି ପରେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରେ ଯିବେ । ଶେଷଥର ପାଇଁ ସେ ୨୦୧୨ରେ ବ୍ରିଟେନ ଗସ୍ତ କରିଥିଲେ ।

Leave A Reply

Your email address will not be published.