Latest Odisha News

BREAKING NEWS

୯ ଜଣ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିସହ ୨ ଜଣଙ୍କୁ ଚାକିରିରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି । ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ ଯଥା – ଜଣେ ସୁପରିଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓଏଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ରହିଛନ୍ତି ।

ପୂର୍ବରୁ ୧୬୪ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ । କଣ୍ଟ୍ରାକ୍ଟରମାନଙ୍କ ଠାରୁ ଅସାଧୁ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ରେଡ୍ କଲା ପରେ ୮.୬୩ କୋଟି ଟଙ୍କାର ସମ୍ପତ୍ତି ଓ ୧.୪ କୋଟି ଟଙ୍କାର ନଗଦ ଟଙ୍କା ଧରା ପଡିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜ୍ୟୁକିଟିଭ ଇଞ୍ଜିନିୟର ମାନସ ରଞ୍ଜନ ମହାନ୍ତି । ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଏହାସହିତ ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଅଧିକ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିବା ଅଭିଯୋଗରେ ଭିଜିଲାନ୍ସ ମାମଲା ଚାଲିଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୋଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିବା ଅଭିଯୋଗରେ ଦୁର୍ନୀତି ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉମରକୋଟ ସଡ଼କ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା । ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ (CDVO) ଶ୍ରୀ ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲ ଥିଲା । ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ବର୍ତ୍ତମାନ ବାଲେଶ୍ବର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓ ମୟୂରଭଞ୍ଜ ଜିଲ୍ଲାର ସାମାଖୁଣ୍ଟା ବ୍ଲକ୍‌ର ପୂର୍ବତନ ତହସିଲଦାର ଓଏଏସ ଅଧିକାରୀ ସବିତା ସାହୁଙ୍କ ନାମରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା । ଅସାଧୁତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ବଲାଙ୍ଗିର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ (Ex-SEO) ପ୍ରଭାସିନୀ ବାବୁ ସ୍ୱାମୀଙ୍କୁ ହରାଇଥିବା ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରିରୁ ବହିଷ୍କାର କରାଯାଇଛି । ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନ୍‌କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍ନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି ।

Leave A Reply

Your email address will not be published.