Latest Odisha News

ଆଜି ଓଡିଶା ପାଳୁଛି ମାଣ୍ଡିଆ ଦିବସ

ଭୁବନେଶ୍ଵର: ଆଜି ମାଣ୍ଡିଆ ଦିବସ । ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ । ଏହାର ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ସରକାର ୨୦୧୭ରେ ଆରମ୍ଭ କରିଥିଲେ ମିଲେଟ ମିଶନ । ପ୍ରଥମେ ରାଜ୍ୟର ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ସମସ୍ତ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି ।

ପୋଷକ ତତ୍ତ୍ବରେ ଭରପୁର ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା । ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ଚାଉଳ ଓ ଗହମ ଭଳି ୧୫ଟି ଜିଲ୍ଲାରେ ରାସନରେ ମାଣ୍ଡିଆ ପ୍ରଦାନ କରାଯାଉଛି । ଏହାସହ ପ୍ରତି ଥାଳିରେ ମାଣ୍ଡିଆକୁ ବ୍ୟବହାର କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି । ପୋଷକ ତତ୍ତ୍ବରେ ଭରା ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ଓଡ଼ିଶା ପ୍ରଥମ ରାଜ୍ୟଭାବେ ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ ଆୟୋଜନ କରି ପୂରା ବିଶ୍ବର ଦୃଷ୍ଟି ଆକର୍ଷଣ କରୁଛି ।

ଓଡ଼ିଶା ମିଲେଟ ମିଶନ ଦ୍ବାରା ନିଆଯାଇଥିବା ପଦକ୍ଷେପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ବୀକୃତି ମିଳିଛି । କେନ୍ଦ୍ର ସରକାର ଏହି ମଡେଲକୁ ଆପଣାଇବାକୁ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରଣାଳୟ ଓ ବିଭାଗରେ ହେବାକୁ ଥିବା ମିଟିଂ ଓ କ୍ୟାଣ୍ଟିନରେ ମାଣ୍ଡିଆ ପ୍ରସ୍ତୁତ ଲଡୁ, ମିକ୍ସଚର, ସ୍ନାକ୍ସ୍, ପୁରି, ଇଡିଲି, ଦୋଷା ଓ ବିସ୍କୁଟ୍ ପରଷିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସେତିକି ନୁହେଁ ନୀତି ଆୟୋଗ ମଧ୍ୟ ଏହାକୁ ଏକାଧିକ ଥର ପ୍ରଶଂସା କରିଛନ୍ତି ।

ମିଲେଟ୍ ଜାତୀୟ ଖାଦ୍ୟ ସାମଗ୍ରୀର ପ୍ରଚାର ପ୍ରସାର ପାଇଁ ମିଶନ୍ ଶକ୍ତିର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ଯାହାକି ଦେଶରେ ପ୍ରଥମ । ମିଲେଟ୍ ଚାଷକୁ ପ୍ରୋତ୍ସାହିତ କରିବା ଦିଗରେ ଓଡ଼ିଶା ମିଲେଟ୍ ମିଶନ୍ ଦ୍ୱାରା ନିଆ ଯାଇଥିବ ପଦକ୍ଷେପକୁ ସର୍ବୋତ୍ତମ ମଡେଲ ମଧ୍ୟରୁ ଗୋଟିଏ ଭାବେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତି ମିଳିଛି ।

Leave A Reply

Your email address will not be published.