ଓଡିଶାର ଗଣପର୍ବ ରଜ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଦୁଇ ବର୍ଷ ପରେ ପୁଣି ଥରେ ଗାଁ ଆମ୍ବ ତୋଟାରେ ଝୁଲୁଛି ଦୋଳି । ରଜଗୀତ ଶୁଭୁଛି, ଘରେ ଘରେ ପିଠାପଣାରେ ଆସର ଜମିଛି ।
ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି । ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ ।
ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।
ପ୍ରତିବର୍ଷ ପାତ୍ରପଡ଼ା ମହାରାଜା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ଗାଁ ଖେଳପଡ଼ିଆରେ ଦେଢ଼ଶହରୁ ଅଧିକ ଦୋଳି ଲାଗୁଥିଲା । କିନ୍ତୁ କରୋନା ପାଇଁ ଗତ ୨ ବର୍ଷ ହେଲା ଏହା ବନ୍ଦ ଥିଲା । ଆସୋସିଏସନ୍ ପକ୍ଷରୁ ଚଳିତ ଥର ଦ୍ବାଦଶତମ ରଜପର୍ବ ଅନୁଷ୍ଠିତ ହେବ । ସୋମବାରଠାରୁ ଏଠାରେ ରଜ ମଉଜ ଆରମ୍ଭ ହୋଇଯିବ ।
Comments are closed.