Latest Odisha News

BREAKING NEWS

୫୦ ହଜାର ଦେବ କହି ୫ ହଜାର ଦେଲେ, ସରକାରକୁ ବିରୋଧୀ ଦଳ ନେତାଙ୍କ ଟାର୍ଗେଟ୍

ଭୁବନେଶ୍ଵର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିରୋଧୀ ନେତା ନବୀନ ପଟ୍ଟନାୟକ। ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରି ନବୀନ କହିଛନ୍ତି ଯେ, ନିର୍ବାଚନ ବେଳେ ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। କିନ୍ତୁ ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଥିଲେ ସବୁ ମହିଳା ସୁଭଦ୍ରା ଯୋଜନାର ଲାଭ ପାଇବେ, କିନ୍ତୁ ଏବେ ପାଇବେ ମାତ୍ର ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ନେତା ନବୀନ ପଟ୍ଟନାୟକ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆମର ୪.୫ କୋଟି ଜନସଂଖ୍ୟାର ପ୍ରାୟ ୨.୨୫ କୋଟି ମହିଳା ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଏବେ ବିଜେପି ସରକାରଙ୍କ କହିବା ମୁତାବକ କେବଳ ମାତ୍ର ୭୦ ଲକ୍ଷ ମହିଳା ଏଥିରେ ସାମିଲ ହୋଇପାରିବେ। ବିଜେପି ସରକାରଙ୍କ ପ୍ରତ୍ୟେକ ମହିଳାଙ୍କୁ ଏ ଯୋଜନା ଏକ ଧୂଆଁବାଣ। ମା’ମାନେ ଅନେକ ଆଶା ରଖିଥିଲେ। ଟଙ୍କା ମିଳିଲେ କିଛି ଭଲ କାମରେ ଲଗାଇବେ ବା ବ୍ୟବସାୟ କରିବେ। ହେଲେ ଏବେ କହୁଛନ୍ତି ମା’ମାନଙ୍କୁ ୬ମାସରେ ମାତ୍ର ୫,୦୦୦ ଟଙ୍କାର ସହାୟତାବ ମିଳିବ। ମାସକୁ ମାତ୍ର ୮୦୦ ଟଙ୍କା ଯାହା କେଉଁ କାମରେ ବି ଲାଗିବନି । ଏକ ସାଙ୍ଗରେ ୫୦,୦୦୦ ଟଙ୍କାର ପ୍ରୋତ୍ସାହନ ମିଳିଥିଲେ ମା’ମାନେ ଏହାକୁ କୌଣସି କାମରେ ଲଗାଇ ପାରିଥାନ୍ତେ। କିଛି ବ୍ୟବସାୟ କରି ସଶକ୍ତ ହୋଇ ସମାଜରେ ଆଗକୁ ବଢ଼ିଥାନ୍ତେ ବୋଲି କହିଛନ୍ତି ନବୀନ।

ନବୀନ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ବା କିଛି ଗ୍ୟାରେଣ୍ଟି ଯୋଜନାକୁ କାର୍ଯ୍ୟକ୍ଷମ କରିବାକୁ ବିଜେପି ସରକାର ଚଳିତ ବଜେଟରେ ୫୦,୦୦୦ କୋଟି ଟଙ୍କାର ଋଣ କରିଛନ୍ତି। ଏହା ଆମ ସମସ୍ତଙ୍କ ମୁଣ୍ଡରେ ଋଣ ବୋଝ। ଆମ ମା’ ଓ ଭଉଣୀମାନଙ୍କୁ ଏହାକୁ ସୁଧ ସହ ସୁଝିବାକୁ ପଡ଼ିବ। କାରଣ ଏହା ସରକାରୀ ଅର୍ଥ ନୁହେଁ, ଋଣ ହୋଇ ଆସିଥିବା ଟଙ୍କା। ଏଥିରେ କ’ଣ ନାରୀ ସଶକ୍ତିକରଣ ସମ୍ଭବ ହେବ ବୋଲି କହିଛନ୍ତି ବିରୋଧୀ ନେତା।

Comments are closed.