Latest Odisha News

BREAKING NEWS

ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା: ରାଜରାଜେଶ୍ଵର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବା ସହ ରତ୍ନସିଂହାସନରେ ଶ୍ରୀଜୀଉମାନେ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହେବେ। ପୂର୍ବଦିନରୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ।

ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବା ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ। ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ହେବା ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ। ଏହା ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ ସହ ହରିଡ଼ାମାଳ, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ବିଭୂଷିତ ହେବେ।

ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ‌ ଉତ୍ସବ। ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ । ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୂର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ । ତେବେ ବର୍ଷକ ମଧ୍ୟରେ ୫ ଥର ମହାପ୍ରଭୁ ସୁନେବେଶରେ ଦର୍ଶନ ଦେଉଥିବା ବେଳେ ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।

ଅନ୍ୟପଟେ ଆଜି ମଧ୍ୟ ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ରାଜନହରରେ ଅନୁଷ୍ଠିତ ହେବ। ପଞ୍ଚଦେବତା ପୂଜାଠାରୁ ଆରମ୍ଭ କରି ଶାସ୍ତ୍ରୀୟ ପୂଜା ପରେ ଗଜପତି ମହାରାଜ ଅଭିଷେକ ହେବେ। ଷୋଳ ଶାସନ ବ୍ରାହ୍ମଣ ଓ ପଣ୍ଡିତ ମାନେ ନଡ଼ିଆ, ପଇତା ପ୍ରଦାନ କରିବା ସହ ମହାରାଜାଙ୍କୁ ଆଶୀର୍ବାଦ ଦେବେ। ଗଜପତିଙ୍କ ଶାସନ ଶୁଭ ଓ ମଙ୍ଗଳପ୍ରଦ ହେବା ସହ ଜଗତର କଲ୍ୟାଣ ପାଇଁ ଏହି ନୀତି କରାଯାଉଥିବା ବେଳେ ଏନେଇ ବ୍ରାହ୍ମଣ ମାନେ ଆଶିଷ ମଧ୍ୟ ଦେଇଥାନ୍ତି।

 

 

 

Leave A Reply

Your email address will not be published.