Latest Odisha News

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର, ତାଲିମ ନେବେ ୧୧୧୪ ଡାକ୍ତର

ଭୁବନେଶ୍ବର : ରାଜ୍ୟରେ ଜାରି ରହିଥିବର କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ସମୟରେ ଶିଶୁଙ୍କ ସୁରକ୍ଷା ଉପରେ ଅଧିକ ଗୁରୁତ୍ବ ଦେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧା ସହ ଆବଶ୍ୟକ ଉପକରଣ ଏବଂ ଔଷଧ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ବର୍ତ୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ମହଜୁଦ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ବାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ । ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ ବେଡ୍, ୬୧୦ ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଛି । ତେବେ ଜୁନ୍‌ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ । ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ ।

ବାତ୍ୟା ପ୍ରଭାବିତ ଅଞ୍ଚଳରେ କୋଭିଡ ସଂକ୍ରମଣରେ କୌଣସି ବୃଦ୍ଧି ଘଟି ନଥିବା ଆଶ୍ବସ୍ତିକର ବିଷୟ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ଆଇସିୟୁ ଓ ଅକ୍ସିଜେନ୍ ସଂଯୁକ୍ତ ବେଡ୍‌ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍‌ ଟିକା ଦିଆଯାଇଥିବା ବେଳେ, ଟିକାକରଣ କ୍ଷେତ୍ରରେ ଭୁବନେଶ୍ବର ସବୁଠାରୁ ଆଗରେ ରହିଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ବରରେ ୪୫ ବର୍ଷରୁ ଉର୍ଦ୍ଧ୍ବ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହେବ ।

Leave A Reply

Your email address will not be published.