Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି ସମାପନ କରାଯିବ।

ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଅପରାହ୍ନ ୫ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତ ମହାପାତ୍ର ଓ ଦଇତାପତି ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତନୀତି ସମ୍ପାଦନ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Comments are closed.