Latest Odisha News

ଶ୍ରୀଜୀଉଙ୍କ ବନକ ଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି। ଆଶ୍ବିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ।

ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇଥାଏ। ଏହା ଏକ ଗୁପ୍ତ ନୀତି ଅଟେ। ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି। ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ।

ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଏ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହୁଏ।

Comments are closed.