Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ତିନିଠାକୁରଙ୍କ ରାଜରାଜେଶ୍ୱର ବେଶ; ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହେବେ ଦାରୁଦିଅଁ

ଭୁବନେଶ୍ୱର: କାର୍ତ୍ତିକ ମାସର ପଞ୍ଚୁକ ୫ଦିନ ଶ୍ରୀମନ୍ଦିରରେ ମହାପ୍ରଭୁ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି। ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନା ବେଶରେ ସଜେଇ ହୋଇଛନ୍ତି।

କାର୍ତ୍ତିକମାସ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଥାଏ । ଏହା ସୁନାବେଶର ଅନୁରୂପ।

ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଦାରୁବ୍ରହ୍ମ ରୂପୀ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ ।

ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା ।

ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ସାହାଣମେଲା କରାଯାଇଥାଏ । ‌ ମାତ୍ର ଚଳିତ ବର୍ଷ କୋଭିଡ କଟକଣା ପାଇଁ ସାଧାରଣ ଲୋକଙ୍କ ଦର୍ଶନ ଉପରେ ପ୍ରତିବନ୍ଧକ ଲଗାଯାଇଛି।

Leave A Reply

Your email address will not be published.