Latest Odisha News

BREAKING NEWS

ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଚାରି ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ୬ଟି ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୁଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୧୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାମାନଙ୍କ ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହି ଜିଲ୍ଲାରେ କିଛି କିଛି ସ୍ଥାନରେ ବର୍ଷା ପାଣି ଜମିବା ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜି ପାରେ । ଜଳମଗ୍ନ ଯୋଗୁଁ ପନିପରିବା ଚାଷ ପ୍ରଭାବିତ ହୋଇପାରେ । ସେହିପରି ପାହାଡିଆ ଅଞ୍ଚଳରେ ଭୁସ୍ଖଳନ ହେବାର ସମ୍ଭାବନା ରହିଛି । ତେଣୁ ଅସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ବାରଣ କରାଯାଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି ।

Leave A Reply

Your email address will not be published.