Latest Odisha News

BREAKING NEWS

Heavy rainfall alert:ଏହି ଜିଲ୍ଲାରେ ୨୪ ଯାଏଁ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି;ଭୂସ୍ଖଳନ ଭୟ ଥିବା ଅଞ୍ଚଳ ଉପରେ ନଜର

ପାରଳାଖେମୁଣ୍ଡି:ଗଜପତି ଜିଲ୍ଲାରେ ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ୨୩ ଏବଂ ୨୪ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖି କାଲିଠୁ ୨୪ ଯାଏ ଗଜପତିରେ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଏହାସହ କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ଗଜପତି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଭୂସ୍ଖଳନ ଭୟ ଥିବା ଅଞ୍ଚଳ ଉପରେ ନଜର ରଖିବାକୁ କୁହାଯାଇଛି।

ଏନେଇ ଅତିରିକ୍ତ ଜିଲ୍ଲାପାଳ ମୁନୀନ୍ଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି । ବୈଠକରେ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ଅଗ୍ନିଶମ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ସେପ୍ଟେମ୍ବର ୨୩ ଓ ୨୪ ତାରିଖରେ ରେଡ୍ ଜୋନ୍ ଥିବା ହେତୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ତୀବ୍ର ବେଗରେ ପବନ ହେବାର ସମ୍ଭାବନା ରହିଛି । ଏନେଇ ଜିଲ୍ଲା, ବ୍ଲକ୍ ଓ ତହସିଲ ସ୍ତରରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରଖିବା ସହିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟାଳୟରେ ଉପସ୍ଥିତ ରହିବା ସହ ମୁଖ୍ୟାଳୟ ନଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ ବାହିନୀକୁ ମଧ୍ୟ ଆବଶ୍ୟକ ସ୍ଥଳେ ତୁରନ୍ତ ମୁତୟନ ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକର ଯାଞ୍ଚ କରି ଆବଶ୍ୟକ ମରାମତି, ବିଦ୍ୟୁତ୍ ଓ ଜେନେରେଟର ବ୍ୟବସ୍ଥା, ପାନୀୟ ଜଳ ଏବଂ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରିବାକୁ ସାତଟି ବ୍ଲକ୍‌ର ବିଡିଓ ଓ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଭୂସ୍ଖଳନପ୍ରବଣ ଅଞ୍ଚଳ, ପାହାଡ଼ ତଳେ ରହୁଥିବା ଲୋକ, ତଳିଆ ଅଞ୍ଚଳ ଓ ଦୁର୍ବଳ କିମ୍ବା କଚ୍ଚା ଘରେ ରହୁଥିବା ପରିବାରଙ୍କୁ ଆବଶ୍ୟକ ସ୍ଥଳେ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି । ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ, ପାନୀୟ ଜଳ ଓ ଆବଶ୍ୟକ ସାମଗ୍ରୀ ଯୋଗାଣ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି, ଗଜପତି ଅତିରିକ୍ତ ଜିଲ୍ଲାପାଳ ମୁନୀନ୍ଦ୍ର ହୋନନାଗା । ଗର୍ଭବତୀ ମହିଳାଙ୍କୁ ଆବଶ୍ୟକତା ଅନୁଯାୟୀ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ର କିମ୍ବା ମା’ ଗୃହକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ରହିଛି । ସେହିପରି ଚୁଡ଼ା, ଗୁଡ଼, ଚିନି, ମହମବତୀ, କିରୋସିନ, ଔଷଧ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରଖିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର,ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ ବହିବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଚେତାବନୀ ଜାରି ହୋଇଛି ।


 

Leave A Reply

Your email address will not be published.