Latest Odisha News

BREAKING NEWS

ଜାଣନ୍ତୁ; କାହିଁକି ମହାପ୍ରଭୁ ଶ୍ରୀଜଗନ୍ନାଥ ଗଜାନନ ବେଶରେ ଦିଅନ୍ତି ଦର୍ଶନ !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ)

ପବିତ୍ର ସ୍ନାନଯାତ୍ରା ସମୟରେ ଶ୍ରୀମନ୍ଦିରରେ ଦାରୁବ୍ରହ୍ମ ରୂପୀ ବଡ଼ଠାକୁର ଶ୍ରୀ ବଳଭଦ୍ର, ଜଗତର ନାଥ ଶ୍ରୀ ଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ମହାସ୍ନାନ ହୋଇଥାଏ । ଏହି ଅବସରରେ ଶ୍ରୀଜୀଉମାନଙ୍କର ଜନ୍ମ ଉତ୍ସବ ପାଳନ ବିଧି ରହିଥିବା ବେଳେ ଚତୁର୍ଦ୍ଧା ମୂରତି ଗଜାନନ ବେଶ ଧାରଣ କରିଥାଆନ୍ତି ।ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି । ଏହା ପଛରେ ଏକ କିମ୍ବଦନ୍ତୀ ରହିଛି ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହାତୀ ବେଶ ବା ଗଜାନନ ବେଶ ସମ୍ପର୍କରେ ରହିଥିବା କିମ୍ବଦନ୍ତୀ ଅନୁଯାୟୀ ପଞ୍ଚଦଶ ଶତାବ୍ଦୀରେ ମହାରାଷ୍ଟ୍ରରୁ ମହାଗାଣପତ୍ୟ ସମ୍ପ୍ରଦାୟର ଶ୍ରୀ ଗଣପତି ଭଟ୍ଟ ନାମକ ଜୈନିକ ବିଶିଷ୍ଟ ବ୍ରାହ୍ମଣ ଶ୍ରୀକ୍ଷେତ୍ରକୁ ଆଗମନ କରିଥିଲେ । ସେ ପ୍ରଭୁ ଗଣେଶଙ୍କ ବଡ଼ ଭକ୍ତ ଥିଲେ । ସ୍ନାନ ପୂର୍ଣ୍ଣିମୀ ଦିନ ଶ୍ରୀମନ୍ଦିରରୁ ପ୍ରବେଶ କରି ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରି ଗଣପତି ଭଟ୍ଟ ସନ୍ତୋଷ ଲାଭ କଲେ ନାହିଁ ।

ଅଧିକ ପଢନ୍ତୁ – ଦେବସ୍ନାନ ପୂର୍ଣ୍ଣିମା: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜନ୍ମ ମହୋତ୍ସବ

ତେଣୁ ନିରାଶ ମନରେ ଶ୍ରୀକ୍ଷେତ୍ରରୁ କିଛି ବାଟ ଯିବା ପରେ ମୁକ୍ତେଶ୍ଵର ଠାରେ ଶୂନ୍ୟବାଣୀ ଶୁଣି ପୁନଶ୍ଚ ଶ୍ରୀମନ୍ଦିରକୁ ଫେରିଆସି ଦେଖନ୍ତି ଯେ, ଠାକୁରମାନେ ତାଙ୍କର ଇଷ୍ଟ ଗଣପତି ରୂପ ଧାରଣ କରି ଧବଳ ରୂପରେ ବଳଭଦ୍ର ଓ କଳା ରୂପରେ ଜଗନ୍ନାଥ ଶୋଭା ପାଉଛନ୍ତି ।

ଗଣପତି ଭଟ୍ଟ ଏହି ଦୃଶ୍ୟ ଦେଖି ଭକ୍ତି ବିଭୋର ହୋଇପଡ଼ିଲେ ଓ ତତ୍‌କ୍ଷଣାତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚରଣାବିନ୍ଦରେ ସାଷ୍ଟାଙ୍ଗ ପ୍ରଣିପାତ ପୂର୍ବକ ପ୍ରାର୍ଥନା କରିଥିଲେ ।

ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ ।

ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି । ଗଣପତି ଭଟ୍ଟଙ୍କ ଗଣପତି ବେଶ ଦର୍ଶନର ସ୍ମାରକୀ ସ୍ଵରୂପ ଏହି ବେଶ ହୋଇ ଆସୁଛି ।

(ଲେଖକ ଜଣେ ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ ସ୍ତମ୍ଭକାର)

ବିଶେଷ ଦ୍ରଷ୍ଟବ୍ୟ: ଏହି ସ୍ତମ୍ଭରେ ପ୍ରକାଶିତ ହୋଇଥିବା ବିଚାର ବା ମତ ସମ୍ପୂର୍ଣ୍ଣ ଭାବେ ଲେଖକଙ୍କର ନିଜସ୍ୱ ଅଟେ । ଏହି ସ୍ତମ୍ଭରେ ପ୍ରକାଶିତ କୌଣସି ଅଂଶ ଲାଗି Odishasambad.in ର ସମ୍ପାଦନା ମଣ୍ଡଳୀ ଦାୟୀ ନୁହଁନ୍ତି ।

 

Leave A Reply

Your email address will not be published.