Latest Odisha News

ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପୁରୀ: ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନକୁ ଅନୁମୋଦନ । ଡିଜାଇନକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୀ ଜିଲ୍ଲାର ସତ୍ୟବାଦୀ ସ୍ଥିତ ପ୍ରସିଦ୍ଧ ବନ ବିଦ୍ୟାଳୟରେ ଏହି ବିଶ୍ବବିଦ୍ୟାଳୟ ସ୍ଥାପନ କରାଯିବ । ବନ ବିଦ୍ୟାଳୟ ଢାଞ୍ଚାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଡିଜାଇନ ପ୍ରସ୍ତୁତ କରାଯାଇଛି । ଶାନ୍ତ, ମୁକ୍ତ ପରିବେଶରେ ଉତ୍ତମ ଶୈକ୍ଷିକ ଅନୁଭବ ପ୍ରଦାନ ଲକ୍ଷ୍ୟରେ ବିଶ୍ବବିଦ୍ୟାଳୟର ଡିଜାଇନ ପ୍ରସ୍ତୁତ କରାଯାଇଛି ।

ଏହି ବିଶ୍ୱ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କରିବାର ବ୍ୟବସ୍ଥା ରହିବ । ଏହା ନିର୍ମାଣର ବିସ୍ତୃତ ଯୋଜନା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କରାଯାଇ ନିଷ୍ପତ୍ତି ନିଆଯିବ ।

ବିଶ୍ବବିଦ୍ୟାଳୟରେ ଓଡ଼ିଆ ଭାଷା ସମ୍ପର୍କରେ ଉଚ୍ଚତର ଶିକ୍ଷା ପ୍ରଦାନ କରାଯିବା ସହିତ ଆମ ଭାଷା, ସାହିତ୍ୟ ଓ ସଂସ୍କୃତି ସମ୍ପର୍କରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରାଯିବ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନ ଶକ୍ତିର ପରିପୂର୍ଣ୍ଣ ବିକାଶ ସହିତ ଓଡ଼ିଆ ଭାଷାର ବ୍ୟାକରଣ, ଶବ୍ଦ ଭଣ୍ଡାର, କଥନ, ଲିଖନ ଆଦି ବିଷୟରେ ଉଚ୍ଚତର ଗବେଷଣା ପାଇଁ ସୁଯୋଗ ସୃଷ୍ଟି କରିବ ।

ବିଶ୍ବବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତ୍ତବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଉପସ୍ଥାପନା କରାଯାଇଥିଲା । ବୈଠକରେ 5T ସଚିବ ଭି.କେ ପାଣ୍ଡିଆନ ସଞ୍ଚାଳନ କରିଥିଲେ । ଏଥିରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ ।

ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କର ବନ ବିଦ୍ୟାଳୟ ପରିସରରେ ଏହି ଓଡ଼ିଆ ଭାଷା ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଏହାର ମର୍ଯ୍ୟାଦାକୁ ବହୁଗୁଣିତ କରିବ ବୋଲି ଆଶା କରାଯାଉଛି । 

Leave A Reply

Your email address will not be published.