Latest Odisha News

BREAKING NEWS

୮ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦେଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡିଶାର ବହୁ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, କଳାହାଣ୍ଡି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ସମେତ ମାଲକାନଗିରି, କୋରାପୁଟ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

Comments are closed.