Latest Odisha News

କେବେ ମିଳିବ ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ଵର: ରେଙ୍ଗାଲି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୁରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ଦଫା ଦାବିକୁ ପୂରଣ କରିବାକୁ ଅନୁରୋଧ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ନିଜ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରେଙ୍ଗାଲି ବହୁମୁଖୀ ନଦୀବନ୍ଧ ଯୋଜନା ରାଜ୍ୟର ଜଳସେଚନ ଓ ବିଦ୍ୟୁତ ଉତ୍ପାଦନ କ୍ଷମତାକୁ ବହୁଗୁଣିତ କରିଥିଲେ ମଧ୍ୟ ଏହି ପ୍ରକଳ୍ପ ବିସ୍ଥାପିତ ହୋଇଥିବା ହଜାର ହଜାର ସ୍ଥାନୀୟ ବାସିନ୍ଦାଙ୍କୁଚିରକାଳ ଦୁର୍ଦ୍ଦଶା ଭିତରକୁ ଠେଲିଦେଇଛି । ପ୍ରାୟ ୪ ଦଶନ୍ଧିର ଏ ଦୁର୍ଦ୍ଦଶା ଆଜି ବି ଆମକୁ ମର୍ମାହତ କରୁଛି ।

ସେହିପରି ଧର୍ମେନ୍ଦ୍ର ଲେଖିଛନ୍ତି, ରେଙ୍ଗାଲି ଯୋଜନାରେ ୧୯୭୩ ମସିହାରେ ଅନୁଗୋଳ ଜିଲ୍ଲାର ପାଲଲହଡା, ତାଳଚେର ଏବଂ ଦେବଗଡ଼ ଜିଲ୍ଲାର ମୋଟ ୨୬୩ ଗୋଟି ଗ୍ରାମ ଜଳମଗ୍ନ ହେବା ସହ ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହୋଇଥିଲେ । ଉପଯୁକ୍ତ ଥଇଥାନ ଓ କ୍ଷତିପୂରଣ ଅଭାବରୁ ଅନେକଙ୍କୁ ହନ୍ତସନ୍ତ ହେବାକୁ ପଡିଥିଲା । କୌଣସି ସ୍ପଷ୍ଟ ବିସ୍ଥାପନ ନୀତି ନ ଥାଇ କିମ୍ବା କୌଣସି ଗ୍ରାମସଭା, ପଲ୍ଲୀସଭା ଅବା ଜନଶୁଣାଣି କରା ନ ଯାଇ ସ୍ଥାନୀୟ ବାସିନ୍ଦାଙ୍କୁ ବିସ୍ଥାପନ ପାଇଁ ବାଧ୍ୟ କରାଗଲା । ଏ ଭିତରେ ବ୍ରାହ୍ମଣୀରେ ଅନେକ ପାଣି ବହିଗଲାଣି । ନ୍ୟାୟ ପାଇଁ ଅନେକ ଗଣଧାରଣା, ଅନଶନ, ପ୍ରତିବାଦ ଓ ବିକ୍ଷୋଭ ମଧ୍ୟ ହୋଇଗଲାଣି । ତଥାପି ବିସ୍ଥାପିତଙ୍କ ଅବସ୍ଥାରେ କିଛି ପରିବର୍ତ୍ତନ ଆସିନାହିଁ।

ବିସ୍ଥାପିତଙ୍କ ହକ ପାଇଁ ଗଡଜାତ ଆନ୍ଦୋଳନର ପୁରୋଧା ସ୍ବର୍ଗତ ପବିତ୍ର ମୋହନ ପ୍ରଧାନ ଏକଦା ଆନ୍ଦୋଳନର ଡାକରା ଦେଇଥିଲେ । ତାଙ୍କ ଅବର୍ତ୍ତମାନରେ ଅନୁରୂପ ବଳିଷ୍ଠ ନେତୃତ୍ବର ଅଭାବରୁ କ୍ଷତିଗ୍ରସ୍ତଙ୍କୁ ଆଉ ନ୍ୟାୟ ମିଳିଲା ନାହିଁ, ଯାହା ଦୁଃଖର ବିଷୟ। ଗରିବ, ଖଟିଖିଆ, ଚାଷୀ, ପଛୁଆ ବର୍ଗ, ତଥା ଦଳିତ ଓ ଆଦିବାସୀ ଜନସାଧାରଣ ବର୍ଗର ପ୍ରାୟ ୮୦ ପ୍ରତିଶତରୁ ଉର୍ଦ୍ଧ୍ବ ବିସ୍ଥାପିତ ନ୍ୟାୟାଳୟର ଦ୍ବାରସ୍ଥ ହେବା ପାଇଁ ସମ୍ବଳ ନ ଥିବାରୁ ଆଜି ନିଜକୁ ଉପେକ୍ଷିତ ଓ ଅପମାନିତ ମଣୁଛନ୍ତି । ଏପରିକି ଗଡ଼ଜାତ ଅଞ୍ଚଳ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ଏହା ଚରମ ପ୍ରତିଫଳନ ବୋଲି ମଧ୍ୟ ବିଚାରୁଛନ୍ତି ।

ପାଲଲହଡା ରେଙ୍ଗାଳି ବିସ୍ଥାପିତ କ୍ଷତିଗ୍ରସ୍ତ ପ୍ରଜା ସଙ୍ଘର ବାସଚ୍ୟୁତ ଜନସାଧାରଣଙ୍କ ଦୁରବସ୍ଥା ଆଜି ସୀମା ଟପିବାକୁ ବସିଲାଣି । ସଂଘର ସଭ୍ୟମାନେ ୭ ଦଫା ଦାବି ନେଇ ରେଙ୍ଗାଳି ଜଳଭଣ୍ଡାର ସଂଲଗ୍ନ ପାଳଲହଡା ଦ୍ଵିତୀୟ ଚିଲିକାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏବେ ଜଳ ସତ୍ୟାଗ୍ରହ କରୁଛନ୍ତି । ଆବଶ୍ୟକ ପଡ଼ିଲେ ଉକ୍ତ ଜଳଭଣ୍ଡାରରେ ସେମାନେ ଜଳସମାଧି ନେବେ ବୋଲି ଚେତାବନୀ ଦେଇଛନ୍ତି । ତେଣୁ ବିସ୍ଥାପିତମାନଙ୍କ ସମସ୍ତ ଦାବିକୁ ସମ୍ମାନ ଜଣାଇ ଏଗୁଡ଼ିକୁ ଯଥାଶୀଘ୍ର ପୂରଣ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାର ଆନ୍ତରିକତା ଦେଖାଇବା ସହ ସମୟୋଚିତ ପଦକ୍ଷେପ ଗ୍ରହଣପୂର୍ବକ ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପରତା ପ୍ରକାଶ କରିବେ ବୋଲି ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି ।

Comments are closed.