Latest Odisha News

BREAKING NEWS

୧୨ ଜିଲ୍ଲାରେ କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା‌ ଝଡ଼ ପ୍ରଭାବରେ ଶୁକ୍ରବାର ୧୨ ଜିଲ୍ଲାରେ କୁଆପଥର ମାଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶାରେ ପଶ୍ଚିମାଝଡ଼ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌‌କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏନେଇ ପାଣିପାଗ ବିଭାଗ ପକ୍ଷରୁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ। ଏହିସବୁ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ।

ଅନ୍ୟପଟେ ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି।

ସେହିପରି ଏପ୍ରିଲ ୧ ତାରିଖରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ। ଏହିସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁସାରେ, ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ। ଶୁକ୍ରବାର ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ଓ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comments are closed.