Latest Odisha News

ସକ୍ରିୟ ଲଘୁଚାପ: ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର : ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ ପହଞ୍ଚିବ। ସକ୍ରିୟ ମୌସୁମୀ ସହ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି।

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ସୋମବାର ଓ ମଙ୍ଗଳବାର ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ଏବଂ ମୌସୁମୀ ନିମ୍ନଚାପରେଖା ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବ। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇ ଥିବାବେଳେ ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିପାରେ। ପ୍ରବଳ ବର୍ଷା ଯୋଗୁଁ ଆଗକୁ ଦୃଶ୍ୟମାନ କମ ରହିବ। ସହରାଞ୍ଚଳ ଗୁଡିକରେ ନାଳରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ। ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସମ୍ପୃକ୍ତ ଜିଲାଗୁଡିକୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଶରତଚନ୍ଦ୍ର ସାହୁ କହିଛନ୍ତି, ଆସନ୍ତା ୨୮ ଓ ୨୯ ତାରିଖ ବେଳକୁ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୩୦ କିମ୍ବା ୩୧ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ।

Comments are closed.