ଭୁବନେଶ୍ୱର: ଆସନ୍ତାକାଲି ଏପ୍ରିଲ ୧ ତାରିଖ । ସାରା ରାଜ୍ୟ ପାଇଁ ଏହା ଗୌରବର ଦିନ । ଏହିଦିନ ରାଜ୍ୟ ପାଳନ କରେ ଉତ୍କଳ ଦିବସ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଏହି ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ ।
ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା ।
ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା ।
ସାର ଅଷ୍ଟିନ ହବାକ ଓଡ଼ିଶାର ପ୍ରଥମ ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା।
୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ ।