Latest Odisha News

୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୩ ଘଣ୍ଟିଆ ସତର୍କତା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ।

ଆଗାମୀ ୩ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ବର୍ଷା ବଜ୍ରପାତ ହେବ ବୋଲି ଜଣାପଡିଛି। ଏଠିକାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନବାହାରିବା ସହ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଅନ୍ୟପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ଅବପାତରେ ପରିଣତ ହେବ। ମଙ୍ଗଳବାରଠାରୁ ଏହାର ପ୍ରଭାବ ରହିବନି ଓ ପାଗ ପ୍ରାୟତଃ ଶୁଖିଲା ରହିବ। ୧୭ ଓ ୧୮ ତାରିଖରେ ବିଶେଷ ବର୍ଷା ନାହିଁ ଓ ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି।

ଆସନ୍ତା ୨୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି ସେ ପୂର୍ବାନୁମାନ କରିଛନ୍ତି।

Comments are closed.