Latest Odisha News

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ।୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ।ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଅଧିକାରୀ, ଯଥା – ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭେନ୍ୟୁ ସୁପରଭାଇଜର ପ୍ରମୁଖଙ୍କୁ ଅବସର ଦିଆଯାଇଛି । ଅନ୍ତର୍ଭୁକ୍ତ ।ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟ ବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ୟ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ଏହି ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇ.ଟି.ଡି.ଏ ର ଆସିଷ୍ଟାଣ୍ଟ ଇଂଜିନିୟର ଶ୍ରୀ ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । । ତାଙ୍କର ଭୁବନେଶ୍ବର ବରଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ରହିଛି । ଏହା ସହିତ ବାଲେଶ୍ବରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ସିଡିପିଓ ଶ୍ରୀମତୀ ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ଦୁର୍ନୀତି ନିବାରଣ ବିଭାଗର ଅନୁସଂଧାନରୁ ଜଣାଯାଇଛି ଯେ ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ପ୍ଲଟ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ତା ସହିତ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି । ଏହାସହିତ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ଶ୍ରୀମତୀ ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା । ଅପାରଗତା ଓ ଅସାଧୁତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍‌ସପେକ୍ଟର ଶ୍ରୀ ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର  ଶ୍ରୀ ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ଅସାଧୁ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା feedbackକୁ ମଧ୍ୟ ବିଚାର କୁ ନିଆଯାଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି ।

Comments are closed.